ବାତ୍ୟା ଦାନା : ୨୩ରୁ ୨୫ ବନ୍ଦ ରହିବ କଲେଜ ଓ ବିଶ୍ବବିଦ୍ୟାଳୟ, ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

 

ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ଏନେଇ ମଙ୍ଗଳବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜ ବନ୍ଦ ରହିବ।  ଏହା ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ନିର୍ଦ୍ଦେଶ ଦିଆଯାଇଛି। 

ଏନେଇ ସଂପୃକ୍ତ ଜିଲ୍ଲାର ଥିବା ସମସ୍ତ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଚେୟାରମ୍ୟାନମାନଙ୍କୁ ବିଭାଗ ପକ୍ଷରୁ ଚିଠି କରାଯାଇଛି। ସେହିପରି ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ମଧ୍ୟ ଚିଠି କରିଛି ବିଭାଗ । ସମ୍ଭାବ୍ୟ ବାତ୍ୟା ‘ଦାନା’ ପ୍ରଭାବିତ ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାର ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ,ସମ୍ଭାବ୍ୟ ବାତ୍ୟା ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ପୁରୀରୁ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳ ଅତିକ୍ରମ କରିବା ନେଇ ଆଇଏମଡି ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ରହିବା ଆକଳନ କରାଯାଇଛି।

Share this post

Previous Post Next Post